16/08/2026
ଓଡ଼ିଶାରେ ଲଗାଣ ବର୍ଷା ଯୋଗୁଁ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ପୁଣି ଏକ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି | ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସମୁଦ୍ର ପତନଠାରୁ ୫.୮ ରୁ ୭.୬ କିଲୋମିଟର ଉଚ୍ଚରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି | ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି |
ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି | ଆଜି ସକାଳେ ୧୫ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ, ଆଜି ସକାଳୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ୩ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି |
ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ତିନୋଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି | ଅନ୍ୟପକ୍ଷରେ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲା ପାଇଁ ମଧ୍ୟ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଦେଇଛି | ଆସନ୍ତାକାଲି ପାଇଁ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଭୀଷଣ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଦୁଇ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି |